ମଧ୍ୟମ ଧରଣର ବର୍ଷା ନେଇ ୧୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
ଭୁବନେଶ୍ୱର : ଦେଶରୁ ସମ୍ପୂର୍ଣ୍ଣ ବିଦାୟ ନେଇଛି ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ । ଗୁରୁବାର ଓଡ଼ିଶା ସମେତ ସାରା ଦେଶରୁ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ସମ୍ପୂର୍ଣ୍ଣ ପ୍ରତ୍ୟାବର୍ତ୍ତନ କରିଥିବାବେଳେ ଦକ୍ଷିଣ ଭାରତରେ ଉତ୍ତର ପୂର୍ବ ମୌସୁମୀ ବାୟୁ ପ୍ରବେଶ କରିଛି । ଏଥିସହ ତାମିଲନାଡୁ ଉପକୂଳରୁ ଉତ୍ତର-ପୂର୍ବ ଓଡ଼ିଶା ପର୍ଯ୍ୟନ୍ତ ଏକ ଟ୍ରଫ୍ ଲାଇନ ସକ୍ରିୟ ରହିଛି। ଏହା ପ୍ରଭାବରେ ଦକ୍ଷିଣ ଭାରତର କିଛି ରାଜ୍ୟରେ ବର୍ଷା ଆରମ୍ଭ ହୋଇଯାଇଛି । ସେହିପରି ,ଆଜି ଓଡିଶାର ୧୦ ଜିଲ୍ଲାରେ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ପୂର୍ବ ଉପକୂଳ ସହ ଦକ୍ଷିଣ ଓଡିଶାରେ ମଧ୍ୟ ବିଜୁଳି ଘଡଘଡି ସହ ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ ସମ୍ପୃକ୍ତ ଜିଲ୍ଲାଗୁଡ଼ିକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।
ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନା ଅନୁଯାୟୀ, ଗୁରୁବାର ନୟାଗଡ଼, ଖୋର୍ଦ୍ଧା, ଗଞ୍ଜାମ, କଟକ, ପୁରୀ ଏବଂ ଜଗତ୍ସିଂହପୁର ଜିଲାର କିଛି ସ୍ଥାନରେ ହାଲୁକାରୁ ମଧ୍ୟମଧରଣର ବର୍ଷା ହୋଇଛି । ଶୁକ୍ରବାର ଜଗତ୍ସିଂହପୁର, କଟକ, ରାୟଗଡ଼ା, କୋରାପୁଟ, ମାଲକାନଗିରି, ଗଜପତି, ଗଞ୍ଜାମ, ପୁରୀ, ଖୋର୍ଦ୍ଧା ଏବଂ ନୟାଗଡ଼ ଜିଲାର କିଛି ସ୍ଥାନରେ ଘଡ଼ଘଡ଼ି ବିଜୁଳି ସହିତ ଝଡ଼ବର୍ଷା ହେବା ନେଇ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି । ଶନିବାର କୋରାପୁଟରେ ପ୍ରବଳ ବର୍ଷା ହେବା ସହିତ ରାୟଗଡ଼ା, କୋରାପୁଟ, ମାଲକାନଗିରି, ଗଜପତି ଓ ଗଞ୍ଜାମ ଜିଲାକୁ ଝଡ଼ବର୍ଷା ନେଇ ସତର୍କ ସୂଚନା ଜାରି ହୋଇଛି । ଅନ୍ୟପକ୍ଷରେ ଆସନ୍ତା ୭ଦିନ ପର୍ଯ୍ୟନ୍ତ ରାଜ୍ୟରେ ଦିନ କିମ୍ବା ରାତି ତାପମାତ୍ରାରେ ସେଭଳି ବିଶେଷ ପରିବର୍ତ୍ତନ ନ ଥିବା ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି ।
ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ SAMAYA - ସମୟ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି SAMAYA - ସମୟ ଦେଖନ୍ତୁ।